ଆଜି ଉତ୍କଳ ଦିବସ; ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ

ଆଜି ପବିତ୍ର ଉତ୍କଳ ଦିବସ ।  ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖ । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା। ବହୁ ଘାତ-ପ୍ରତିଘାତ ମଧ୍ୟରେ ଏହି […]

ଆଜି ଉତ୍କଳ ଦିବସ; ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ
first language-based state Odisha

ଆଜି ପବିତ୍ର ଉତ୍କଳ ଦିବସ ।  ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖ । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ । ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା। ବହୁ ଘାତ-ପ୍ରତିଘାତ ମଧ୍ୟରେ ଏହି ଦିନ ସ୍ୱତନ୍ତ୍ର ପ୍ରଦେଶ ଗଠନ ହୋଇଥିଲା । ଭାରତ ମାନଚିତ୍ରରେ ଆଙ୍କି ହୋଇଥିଲା ଜଗନ୍ନାଥ ସଂସ୍କୃତିର ଏହି ଭୂମି।

ଇତିମଧ୍ୟରେ ଓଡ଼ିଆ ଭାଷା ଶାସ୍ତ୍ରୀୟ ମାନ୍ୟତା ପାଇଛି । ଓଡ଼ିଆ ଲୋକେ ନିଜର ପ୍ରତିଭା, ଦକ୍ଷତା, ସାହସ ଦେଶ ତଥା ବିଦେଶରେ ପ୍ରମାଣିତ କରିଛନ୍ତି । ପୂର୍ବରୁ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ି ରହିଥିଲା। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ବରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା। ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ରାଧାନାଥ ରାୟ, ସ୍ବଭାବକବି ଗଙ୍ଗାଧର ମେହେରଙ୍କ ପରି ଓଡ଼ିଶାର ବରପୁତ୍ରମାନେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଘର୍ଷ କରିଥିଲେ। ଏହି ବରପୁତ୍ରଙ୍କ ଉଦ୍ୟମରେ ୧୯୦୩ରେ ପ୍ରଥମେ ଗଠନ ହେଲା ‘ଉତ୍କଳ ସମ୍ମିଳନୀ’। ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ।

ପ୍ରଥମେ ଓଡ଼ିଶା ରାଜ୍ୟ ୬ଟି ଜିଲ୍ଲା କଟକ, ପୁରୀ, ବାଲେଶ୍ବର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଗଠନ କରାଯାଇଥିଲା। ସାର୍ ଅଷ୍ଟିନ୍‌ ହବାକ୍ ଓଡ଼ିଶାର ପ୍ରଥମ ରାଜ୍ୟପାଳ ଭାବେ ଶପଥ ନେଇଥିଲେ। ୧୯୫୦ ମସିହା ଜାନୁଆରୀ ୨୬ ତାରିଖରେ ଓଡ଼ିଶାରେ ଆଉ ୭ଟି ଜିଲ୍ଲା ଯୋଗ ହୋଇ ମୋଟ ୧୩ଟି ଜିଲ୍ଲା ହେଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନଃବିଭାଜନ କରି ୩୦ଟି ଜିଲ୍ଲାରେ ବିଭକ୍ତ କରାଗଲା। ୧୯୩୬ ମସିହା ଅପ୍ରେଲ ୧ରେ ନୂତନ ପ୍ରଦେଶ ଭାବରେ ପ୍ରତିଷ୍ଠା ହେବା ସମୟରେ ରାଜ୍ୟର ନାମ ରହିଥିଲା ଉତ୍କଳ । ତେଣୁ ଏପ୍ରିଲ୍ ପହିଲା ଦିନଟିକୁ ‘ଉତ୍କଳ ଦିବସ’ ଭାବେ ପାଳନ କରାଯାଇ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଏ।