ବରିଷ୍ଠଙ୍କ ସହ ନବୀନଙ୍କ ବିଚାର ବିମର୍ଶ, ବିଜେପି ସରକାରର ବିଫଳତା କହିବ ବିଜେଡି
ଭୁବନେଶ୍ୱର: ଦରଦାମ ବୃଦ୍ଧି ଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡିଶାରେ ବିଜେପି... The post ବରିଷ୍ଠଙ୍କ ସହ ନବୀନଙ୍କ ବିଚାର ବିମର୍ଶ, ବିଜେପି ସରକାରର ବିଫଳତା କହିବ ବିଜେଡି appeared first on .
ଭୁବନେଶ୍ୱର: ଦରଦାମ ବୃଦ୍ଧି ଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡିଶାରେ ବିଜେପି ସରକାର ବିଫଳ ହୋଇଛି । ଏ ସରକାର ଶହେ ଦିନ ପୂରଣ କରିସାରିଲାଣି । କିନ୍ତୁ ସରକାରର ବିଫଳତା ଆଜି ସବୁଆଡେ ନିରାଶା ସୃଷ୍ଟି କରିଛି । ନିତ୍ୟ ବ୍ୟବହାର୍ଯ୍ୟ ପଦାର୍ଥର ଅହେତୁକ ଦରବୃଦ୍ଧି ସାଧାରଣ ଲୋକଙ୍କୁ ଘର ଚଳାଇବା କଷ୍ଟ କରି ଦେଲାଣି । ମହିଳା ମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି । ନାରୀ ନିର୍ଯାତନା ବଢି ଚାଲିଛି । ଏପରିକି ସରକାରୀ କର୍ମଚାରୀ ମାନେ ମଧ୍ୟ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି । ପୁରୀ ରାଜଭବନରୁ ଆରମ୍ଭ କରି ଭରତପୁର ଥାନା ପର୍ଯ୍ୟନ୍ତ ଏ ସବୁ ଘଟଣା ସରକାରଙ୍କ ବିଫଳତାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି । ଓଡିଶାରୁ ପୁଞ୍ଜି ଫେରି ଯାଉଛି । ଶିଳ୍ପପତି ମାନଙ୍କର ଓଡିଶା ସରକାର ଭରସା ନାହିଁ । ଏହିପରି ଅନେକ ବିଫଳତା ଶହେ ଦିନର ସରକାରର କାର୍ଯ୍ୟ ଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ।
ଆଜି ଶଙ୍ଖ ଭବନରେ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ସଂକ୍ରାନ୍ତୀୟ ପ୍ରସ୍ତୁତି ବୈଠକରେ ଉଦ୍ବୋଧନ ଦେଇ ନବୀନ କହିଛନ୍ତି ମିଛ କାହାଣୀ କହି ବିଜେପି ନିର୍ବାଚନରେ ଜିତିଛି । ମିଛ କହି ନିର୍ବାଚନ ଜିତା ଯାଇପାରେ, କିନ୍ତୁ ଲୋକଙ୍କ ହୃଦୟ ନୁହେଁ । ସୁଭଦ୍ରା ଯୋଜନା ହେଉ ବା ମାଗଣା ବିଜୁଳି ବା ଭତ୍ତା ବୃଦ୍ଧି, ବିଜେପିର ମିଥ୍ୟା ପ୍ରତିଶୃତି ଆଜି ସାଧାରଣ ଲୋକଙ୍କୁ ହତଚକିତ କରିଛି ବୋଲି ନବୀନ କହିବା ସହ ବିଜେପି ସରକାରର ବିଫଳତା ଓ ମିଛ ପ୍ରତିଶୃତି ବିଷୟରେ ଲୋକଙ୍କୁ ସଚେତନ କରିବା ପାଇଁ ଆହ୍ୱାନ ଜଣାଇଥିଲେ ।
ନବୀନ କହିଥିଲେ ଯେ ବିଜୁ ଜନତା ଦଳ ଏକ ଦାୟିତ୍ୱପୂର୍ଣ୍ଣ ବିରୋଧୀ ଦଳ ଭାବରେ କାମ କରୁଛି । ଆମ ପାଇଁ ସାଧାରଣ ଲୋକର ସମସ୍ୟାର ସମାଧାନ ଓ ଓଡିଶାର ସ୍ୱାର୍ଥ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଗତ ଚବିଶ ବର୍ଷ ଭିତରେ ବିଜେଡି ସରକାରର ସଫଳତା ବିଷୟରେ ଉଲ୍ଲେଖ କରି ନବୀନ କହିଥିଲେ ୨୦୦୦ ରୁ ୨୦୨୪ ମସିହା ମଧ୍ୟରେ ଓଡିଶାର ମୁଣ୍ଡପିଛା ରୋଜଗାର ସର୍ବାଧିକ ବୃଦ୍ଧି ଘଟିଛି ଯାହାକି ମଧ୍ୟ ପ୍ରଦେଶ, ଉତ୍ତର ପ୍ରଦେଶ, ଆସାମ ଆଦି ବିଜେପି ଶାସିତ ଡବଲ ଇଞ୍ଜିନ ରାଜ୍ୟମାନଙ୍କ ଠାରୁ ଅଧିକ । ସେହିପରି ମୁଣ୍ଡପିଛା ଋଣ ପରିମାଣ ମଧ୍ୟ ଡବଲ ଇଞ୍ଜିନ ରାଜ୍ୟମାନଙ୍କ ଠାରୁ କମ୍ ରହିଛି ।
ଜନ ସମ୍ପର୍କ ପଦଯାତ୍ରା ସମ୍ପର୍କରେ ସୂଚନା ଦେଇ ନବୀନ କହିଥିଲେ ଯେ ପ୍ରତିବର୍ଷ ପରି ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ । ଅକ୍ଟୋବର ୬ ରେ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଶେଷ ହେବ । ପୂଜା ପରେ ଅକ୍ଟୋବର ୨୧ ରୁ ଅକ୍ଟୋବର ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା ଜାରି ରହିବ । ସେହିପରି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅକ୍ଟୋବର ୯ ତାରିଖରୁ ଡିସେମ୍ବର ୯ ତାରିଖ ଦୁଇ ମାସ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ ଅଭିଯାନ ଜାରୀ ରହିବ ବୋଲି ଘୋଷଣା କରିଥିଲେ ।
ସୋସିଆଲ ମିଡିଆକୁ ଅଧିକ ସକ୍ରିୟ କରିବା ସହିତ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ବିପୁଳ ସଫଳତା ଦିଗରେ ନିଷ୍ଠାପର ଭାବରେ କାର୍ଯ୍ୟ କରିବା ପାଇଁ ନବୀନ ଦଳୀୟ ନେତୃବୃନ୍ଦ ଓ ପଦାଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ ।
The post ବରିଷ୍ଠଙ୍କ ସହ ନବୀନଙ୍କ ବିଚାର ବିମର୍ଶ, ବିଜେପି ସରକାରର ବିଫଳତା କହିବ ବିଜେଡି appeared first on .